ଓଡ଼ିଶାରେ କୋଭିଡ-୧୯ ମହାମାରୀ
ଓଡ଼ିଶାରେ ଭୂତାଣୁଜନିତ ସଂକ୍ରମଣ / From Wikipedia, the free encyclopedia
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା ।[1] ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ ।[2] ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।[3]
ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା ।[4] ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ[5] ନିଯୁକ୍ତି ଦେଇଥିଲେ ।[6]
ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।[7]